ଓଡ଼ିଶା

ୟୁକ୍ରେନ ଫେରନ୍ତା ଓଡ଼ିଆ ଛାତ୍ରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: ଅନ୍ୟ ଛାତ୍ରଙ୍କୁ ମଧ୍ୟ ଫେରାଇ ଆଣିବାକୁ ଭରସା ଦେଲେ

ଭୁବନେଶ୍ୱର : ଯୁଦ୍ଧଗ୍ରସ୍ତ ୟୁକ୍ରେନରୁ ଫେରିଥିବା ଓଡ଼ିଆଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଆ ଛାତ୍ରମାନେ ସୁରକ୍ଷିତ ଫେରିଆସିଥିବାରୁ ଆଶ୍ୱସ୍ତି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ୟୁକ୍ରେନରୁ ଫେରି ଆସି ନୂଆଦିଲ୍ଲୀରେ ଥିବା ଓଡିଆ ଛାତ୍ରଛାତ୍ରୀଙ୍କ ସହିତ ଅନ୍‌ଲାଇନ୍ ଜରିଆରେ ଆଲୋଚନା ବେଳେ ଅନ୍ୟ ଛାତ୍ରଛାତ୍ରୀଙ୍କ ଫେରିବା ପାଇଁ ସବୁପ୍ରକାର ଉଦ୍ୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଛାତ୍ରଛାତ୍ରୀ ମାନଙ୍କ ଫେରିବା ସଂପର୍କରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ଏବଂ ସେ ଆଉଥରେ ମଧ୍ୟ ଏ ବିଷୟରେ କଥାବାର୍ତ୍ତା କରି ପଦକ୍ଷେପ ନେବେ ବୋଲି କହିଥିଲେ ।
ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଭିଜ୍ଞତା ବର୍ଣ୍ଣନା କରି କହିଥିଲେ ଯେ ସେମାନେ ସମସ୍ତେ ରୋମାନିଆ ସୀମା ଅତିକ୍ରମ କରି ଭାରତୀୟ ଅଧିକାରୀ ମାନଙ୍କ ସହିତ ବୁକାରେଷ୍ଟ ଯାଇଥିଲେ ଏବଂ ସେଠାରୁ ବିମାନ ଯୋଗେ ନୂଆଦିଲ୍ଲୀ ଆସିଥିଲେ । ନୂଆଦିଲ୍ଲୀରେ ଅବସ୍ଥାପିତ ରେସିଡେଣ୍ଟ କମିଶନର ସେମାନଙ୍କ ସହିତ ସବୁ ସମୟରେ ଅନ୍‌ଲାଇନ ଜରିଆରେ ଯୋଗାଯୋଗରେ ଥିଲେ ବୋଲି ସେମାନେ କହିଥିଲେ । ୟୁକ୍ରେନର ଅନ୍ୟ ସ୍ଥାନରେ ଥିବା, ବିଶେଷକରି ଖାରକିବ୍‌ରେ ବହୁ ଓଡିଆ ଛାତ୍ରଛାତ୍ରୀ ଅଛନ୍ତି ଓ ସେମାନଙ୍କୁ ଫେରାଇ ଆଣିବାପାଇଁ ପଦକ୍ଷେପ ନେବାକୁ ସେମାନେ ଅନୁରୋଧ କରିଥିଲେ ।
ୟୁକ୍ରେନରୁ ଫେରୁଥିବା ପିଲାଙ୍କ ସୁବିଧା ପାଇଁ ମୁମ୍ବାଇ ବିମାନ ବନ୍ଦରରେ ହେଲ୍ପ ଡେସ୍କ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଭୁବନେଶ୍ୱରରେ ପହଞ୍ଚି ବା ପରେ ପିଲାମାନଙ୍କୁ ଓଟିଡିସି ବସ୍ ଯୋଗେ ସେମାନଙ୍କ ଘରେ ପହଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାକୁ ସଂଯୋଜନା କରିଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com