ବାଣିଜ୍ୟ

ମିଶନ ଶକ୍ତି ଗ୍ରୁପର ମହିଳାମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୦୯/୦୧/୨୦୨୩ –    ବିଭିନ୍ନ ଜିଲ୍ଲାରୁ ଆସିଥିବା ମିଶନ ଶକ୍ତି ଗ୍ରୁପର ମହିଳାମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି । ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍‌ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହି ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି ।

ଏନେଇ ସୋମବାର ଲୋକସେବା ଭବନ କନ୍‌ଭେନ ସେଣ୍ଟରରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡିଶା ବିକାଶର ନୂଆ ଇତିହାସ ଲେଖୁଛି । ମା ମାନେ ଆଜି ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି, ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମା ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଥିଲେ । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଥିଲେ ।  ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ, ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା କାର୍ତ୍ତିକେୟନ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ୫-ଟି ସଚିବ  ଭି.କେ. ପାଣ୍ଡିଆନ, ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଶ୍ରୀମତୀ ଲୋପାମୁଦ୍ରା ବକ୍‌ସିପାତ୍ର, ଡଃ ଗୀତା ବସ୍ତିଆ ପ୍ରମୁଖ ଉପସ୍ଥିତ ଥିଲେ । ଓଡିଶା ଜୀବିକା ମିଶନର ସିଇଓ ମାନସୀ ନିମ୍ଭାଲ ଧନ୍ୟବାଦ ଅର୍ପଣ କରିଥିଲେ।

 

 

Related Articles

Back to top button
WP Twitter Auto Publish Powered By : XYZScripts.com