ପାଗରେ ହେବ ପରିବର୍ତ୍ତନ , କାଳବୈଶାଖୀ ସୂଚନା !

ଭୁବନେଶ୍ୱର,୧୯।୫: ରାଜ୍ୟରେ ଆସନ୍ତା ୨୩ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆଇଏମଡ଼ିର ସୂଚନା ଅନୁସାରେ, ସୋମବାର ୧୫ଟି ଜିଲ୍ଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ବଲାଙ୍ଗିର ଏବଂ ନୂଆପଡାରେ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।। ଏଠାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିବାଗ ବିଭାଗ ତରଫରୁ ସୂଚନା ମିଳିଛି ।
୨୦ ତାରିଖ ପାଇଁ ୯ଟି ଜିଲ୍ଲା ଯଥାକ୍ରମେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ଓ ଘଡ଼ଘଡି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ଆଇଏମଡ଼ି ପକ୍ଷରୁ ସୂଚନା ମିଳିଛି । ୨୧ ତାରିଖ ପାଇଁ ୧୬ଟି ଜିଲ୍ଲାକୁ ବିଜୁଳି ଓ ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୨୨, ୨୩ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶା, ଉତ୍ତର ଓଡ଼ିଶା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଖରାସହ କୋହଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।