
ଭୁବନେଶ୍ୱର, ୧୬ ମାର୍ଚ୍ଚ ୨୦୨୬: କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ମର୍ମନ୍ତୁଦ ଅଗ୍ନିକାଣ୍ଡ ଘଟଣାକୁ ନେଇ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ଦୁର୍ଘଟଣା ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ସମ୍ବେଦନଶୀଳ ସମୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଏହି ସହାନୁଭୂତିପୂର୍ଣ୍ଣ ଆଭିମୁଖ୍ୟ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି।
ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଦୁର୍ଘଟଣା ପରର ସ୍ଥିତି ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରିଛନ୍ତି। ଅଗ୍ନିକାଣ୍ଡ ପରେ ରୋଗୀଙ୍କ ସ୍ଥାନାନ୍ତର ପ୍ରକ୍ରିୟା, ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ ଏବଂ ପ୍ରଭାବିତଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ସେ ଅବଗତ କରାଇଛନ୍ତି। ଏଥିସହିତ ଘଟଣାର ପ୍ରକୃତ କାରଣ ଖୋଜିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳୁ ନିଜେ ଏସସିବି ଗସ୍ତ କରି ସ୍ଥିତିର ସମୀକ୍ଷା କରିବା ସହ ପ୍ରଭାବିତଙ୍କୁ ସମସ୍ତ ପ୍ରକାରର ସରକାରୀ ସହାୟତା ପ୍ରଦାନ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ସମ୍ପୃକ୍ତ ବିଭାଗ ଓ ମେଡିକାଲ ଟିମ୍ ପୂର୍ଣ୍ଣ ସମନ୍ୱୟର ସହ ନିରନ୍ତର କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ବେଳେ ଗୁରୁତର ରୋଗୀଙ୍କୁ ସର୍ବୋତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।




