
ଭୁବନେଶ୍ୱର ୨୫/ ଜୁନ୍ : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଗୁରୁବାର ଏହା ଏକ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ପୂର୍ବାନୁମାନ କରିଛି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁନ୍ ୨୬ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା, ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଝଡ଼ବର୍ଷା ଏବଂ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଜୁନ୍ ୨୮ ଓ ୨୯ ତାରିଖରେ ମଧ୍ୟ ବର୍ଷା ଲାଗୂରହିବା ପୂର୍ବାନୁମାନ ଲଗାଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ରାଜ୍ୟ ପାଣିପାଗ ବିଭାଗ ।